ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମୋଗଲ ସାମ୍ରାଜ୍ୟ(୧୫୨୬-୧୮୫୭) ଏକ ମୁସଲମାନ୍ ତୁର୍କୀ-ମଙ୍ଗୋଲ୍ ସାମ୍ରାଜ୍ୟ ଥିଲା, ଯାହ ୧୫୨୬ରେ ଆରମ୍ଭ ହୋଇଥିଲା । ଯାହା ୧୫୨୬ ଖ୍ରୀ:ଅରେ ଆରମ୍ଭ ହୋଇ ୧୭୦୦ ଶତବ୍ଦୀ ଶେଷ ଓ ୧୮୦୦ଶତବ୍ଦୀ ଆରମ୍ଭ ପର୍ଯ୍ୟନ୍ତ ଭାରତୀୟ ଉପମହାଦ୍ୱୀପରେ ଶାସନ କରି ୧୯୦୦ ଶତବ୍ଦୀ ମଧ୍ୟ ଆଡକୁ ଶେଷ ହୋଇଥିଲା । ଏହି ସମୟରେ ଭାରତୀୟ ଉପମହାଦେଶର ଅଧିକାଂଶ ଭାଗକୁ ନିୟନ୍ତ୍ରଣାଧୀନ କରି ପୂର୍ବରେ ଆଧୁନିକ ବଙ୍ଗଳାଦେଶଠାରୁ ଆରମ୍ଭ କରି ପଶ୍ଚିମରେ ବଲୁଚିସ୍ତାନ ଓ ଉତ୍ତରରେ କାଶ୍ମୀରଠାରୁ ଆରମ୍ଭ କରି ଦକ୍ଷିଣରେ କାବେରୀ ଘାଟି ପର୍ଯ୍ୟନ୍ତ ନିଜ ସାମ୍ରାଜ୍ୟ ବିସ୍ତାର କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କ୍ରିକେଟ ଏକ ଖେଳର ନାମ ଯାହା ବ୍ୟାଟ ଏବଂ ବଲକୁ ନେଇ ୧୧ଜଣ ବିଶିଷ୍ଟ ଦୁଇ ଦଳ ଏକ କ୍ରିକେଟ ପଡ଼ିଆରେ ଖେଳନ୍ତି ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ପଡ଼ିଆର ମଧ୍ୟ ଭାଗରେ ୨୨ଗଜ ବିଶିଷ୍ଟ ଏକ ଆୟତ୍ତାକାର କ୍ଷେତ୍ର ଥାଏ ଯାହାକୁ ପିଚ୍ କୁହାଯାଏ । ଏହାର ଦୁଇ ମୁଣ୍ଡରେ ତିନୋଟି କରି କାଠ ନିର୍ମିତ ବାଡ଼ି ପୋତା ଯାଇଥାଏ ଯାହାକୁ ଉଇକେଟ କହନ୍ତି ଯେଉଁଥିରେ ତିନୋଟି ସ୍ଟମ୍ପ ଥାଏ । ପ୍ରତି ଉଇକେଟ ଆଗରେ ଗୋଟିଏ କରି କ୍ରିଜ ଥାଏ । ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳକୁ ବ୍ୟାଟିଙ୍ଗ ଦଳ ଓ ଅନ୍ୟଟିକୁ କ୍ଷେତ୍ରରକ୍ଷକ ଦଳ କୁହାଯାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ୱିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ୱିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ । ବର୍ତ୍ତମାନ ଭାରତର ସବୁଠାରୁ ଲୋକପ୍ରିୟ ଖେଳ ହେଲା କ୍ରିକେଟ । ବର୍ତ୍ତମାନ କ୍ରିକେଟ ତିନୋଟି ଫର୍ମାଟରେ ଖେଳା ଯାଊଛି, ଯଥା ଟେଷ୍ଟକ୍ରିକେଟ, ଏକ ଦିବସୀୟ ବା ୱନ୍ ଡେ କ୍ରିକେଟ ଏବଂ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ରାଜ୍ୟସଭା, ଯାହାକୁ 'ରାଜ୍ୟ ପରିଷଦ' ବୋଲି ମଧ୍ୟ କୁହାଯାଏ, ଏହା ଭାରତୀୟ ସଂସଦର ଉପରିସ୍ଥ ସଦନ ଏବଂ ଲୋକସଭା ହେଉଛି ଏହାର ନିମ୍ନ ସଦନ। ରାଜ୍ୟସଭା ଭାରତର ସାଂଘୀୟ ବ୍ୟବସ୍ଥାର ବିଭିନ୍ନ ଏକକ ଯଥା – ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ପ୍ରତିନିଧିତ୍ୱ କରେ। ଯେଉଁଠାରେ ଲୋକସଭା ସଦସ୍ୟମାନେ ଜନସାଧାରଣଙ୍କ ଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ ହୁଅନ୍ତି, ରାଜ୍ୟସଭା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନ ସଭା ସଦସ୍ୟମାନଙ୍କ ଦ୍ୱାରା ନିର୍ବାଚିତ ସଦସ୍ୟମାନଙ୍କୁ ନେଇ ଗଠିତ ହୋଇଥାଏ, ଯାହା ଜାତୀୟ ଆଇନ ପ୍ରଣୟନ କ୍ଷେତ୍ରରେ ରାଜ୍ୟଗୁଡ଼ିକୁ ଏକ ଆନୁଷ୍ଠାନିକ ଭୂମିକା ପ୍ରଦାନ କରିଥାଏ। ଲୋକସଭା ପରି ଏହା ଏକ ଅସ୍ଥାୟୀ ସଦନ ନୁହେଁ, ବରଂ ଏହା ଏକ ସ୍ଥାୟୀ ସଂସ୍ଥା ଏବଂ ଏହାକୁ କେବେହେଲେ ଭଙ୍ଗ କରାଯାଇପାରିବ ନାହିଁ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଅବନୀ କୁମାର ବରାଳ(୩ ଜୁନ୍ ୧୯୩୫-୭ ନଭେମ୍ବର ୨୦୧୩) ଓଡ଼ିଶାର ଶିକ୍ଷାବିଦ ଓ ଶିକ୍ଷକ ସଂଘ ନେତା ଥିଲେ । ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ)ର ରାଜ୍ୟ ସମ୍ପାଦକ ଭାବେ ଦୀର୍ଘକାଳ ଦାୟିତ୍ୱ ତୁଲାଇଥିଲେ । ଅବନୀ ଜଗତସିଂହପୁର ଜିଲ୍ଲା ବିରିଡ଼ି ବ୍ଳକ ଅନ୍ତର୍ଗତ ହଳଦିଆପଡା ଗ୍ରାମରେ ୧୯୩୫, ଜୁନ୍ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ଓ କଟକରେ ଓଡ଼ିଆରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ । ଶିକ୍ଷା ସମାପ୍ତି ପରେ ସେ ଖୋର୍ଦ୍ଧାର ପ୍ରାଣନାଥ ମହାବିଦ୍ୟାଳୟରେ ଅଧ୍ୟାପନା ବୃତ୍ତିରେ ଯୋଗଦେଇଥିଲେ । ୧୯୯୪ମେ ମାସରେ ସେଠାରୁ ଅଧ୍ୟକ୍ଷ ଭାବେ ଅବସର ଗ୍ରହଣ କରିଥିଲେ । ତାଙ୍କର ମହାବିଦ୍ୟାଳୟ ଅଧ୍ୟୟନ ବେଳରୁ ତାଙ୍କ ସାଂଗଠନିକ ଦକ୍ଷତା ଓ ନେତୃତ୍ୱର ପ୍ରକାଶିତ ହୋଇଥିଲା । ବାମପନ୍ଥୀ ଆଦର୍ଶରେ ଉଦ୍ବୁଦ୍ଧ ହୋଇ ସେ ଅଖିଳ ଭାରତୀୟ ଛାତ୍ର ସଂଘ, ଗଣତାନ୍ତ୍ରିକ ଯୁବ ସଂଘ ଓ ଇସ୍କସ୍ ଭଳି ସଙ୍ଗଠନରେ ସାମିଲ ହୋଇଥିଲେ । କମ୍ୟୁନିଷ୍ଟ ପାର୍ଟିର ମୁଖପାତ୍ର 'ନୂଆ ଦୁନିଆ'ର ପ୍ରତିଷ୍ଠାତା ସମ୍ପାଦକ ଭାବେ ସାମ୍ୟବାଦୀ ଆଦର୍ଶର ପ୍ରଚାର କରାଇଥିଲେ । ତାଙ୍କ ନେତୃତ୍ୱରେ ଶିକ୍ଷକ ମହାସଂଘ ଗଠନ କରାଯାଇଥିଲା । ମହାସଂଘର ଛତାତଳେ ଅନେକ ଆନ୍ଦୋଳନାତ୍ମକ ପଦକ୍ଷେପଦ୍ୱାରା ଶିକ୍ଷକ ସମାଜର ଅନେକ ସମସ୍ୟାର ସମାଧାନ କରାଇଥିଲେ । ସର୍ବଭାରତୀୟସ୍ତରରେ ଜଣେ ଆଗଧାଡ଼ିର ଶିକ୍ଷକ ନେତା ଭାବେ ତାଙ୍କର ପରିଚିତ ଥିଲେ । ବିଶ୍ୱ ଶିକ୍ଷକ ମହାସଂଘର ସେ ଉପସଭାପତି ପଦ ମଣ୍ଡନ କରିଥିଲେ । ବିଶ୍ୱଦରବାରରେ ସେ ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନ ସମ୍ପର୍କିତ ବହୁ ସମ୍ମିଳନୀକୁ ଭାରତର ପ୍ରତିନିଧିତ୍ୱ କରିଥିଲେ । ରାଜ୍ୟରେ ଶିକ୍ଷା ସଂସ୍କାର ଓ ଶିକ୍ଷକ କର୍ମଚାରୀଙ୍କ ସ୍ୱାର୍ଥରକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ରହିଛି । ବିଭିନ୍ନ ଗଣମାଧ୍ୟମରେ ସ୍ତମ୍ଭକାର ଭାବେ ଓ ଦୁଇ ଡଜନରୁ ଅଧିକ ପୁସ୍ତକ ରଚନା ସାହିତ୍ୟ ଜଗତରେ ବିଶେଷ ଖ୍ୟାତି ରହିଛି । ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ସେ ମଧ୍ୟ ସମ୍ବର୍ଦ୍ଧିତ ହୋଇଛନ୍ତି । ଏହା ବ୍ୟତୀତ ବହୁ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଅନେକ ସମ୍ମାନ ଓ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ପ୍ରକାଶିତ ରଚନାବଳୀ ଜାରଜ (ଗଳ୍ପ) ୧୯୫୭ ଉତ୍ତର ବସନ୍ତ (ଗଳ୍ପ) ୧୯୭୧ ଅବନୀ ବରାଳଙ୍କ ଭିନ୍ନସ୍ୱାଦର ଗଳ୍ପ ଅବନୀ ବରାଳଙ୍କ ସ୍ୱନିର୍ବାଚିତ ଭିନ୍ନସ୍ୱାଦର ଗଳ୍ପ ପ୍ରେମର ଅନ୍ୱେଷଣରେ ଗୋଟିଏ ତରୁଣୀ (ଉପନ୍ୟାସ) ୧୯୫୯ ଅପରାହ୍ନର ଛାୟା (ଉପନ୍ୟାସ) ୧୯୭୦, ୧୯୯୮ ସଂଳାପ : ନିର୍ଜ୍ଜନତାର (ଉପନ୍ୟାସ) ୧୯୯୦ ମାୟାବିନୀ ମଞ୍ଚ (ଉପନ୍ୟାସ) ଏ ରାତ୍ରି ମାୟାବିନୀ ୧୯୯୫ ମଞ୍ଚକନ୍ୟାର କାହାଣୀ (ଉପନ୍ୟାସ) ୧୯୬୫, ୧୯୬୮ ଇସ୍ପାତ (ଅନୁବାଦ ଉପନ୍ୟାସ) ମୂଳ : ନିକୋଲାଇ ଅଷ୍ଟ୍ରୋଭସ୍କି 'How the Steel was Tempered' ଲାଲ୍ ଅଝାଲ୍ (ଅନୁବାଦ କିଶୋର ଉପନ୍ୟାସ) ୧୯୯୨ ମାର୍କ୍ସବାଦୀ ସାହିତ୍ୟ ତତ୍ତ୍ୱ (ସମାଲୋଚନା) ୧୯୮୦ ଜାତୀୟ ଶିକ୍ଷାନୀତି : ୧୯୮୬ ଶିକ୍ଷାର ଅନେକ ସମସ୍ୟା ଶିକ୍ଷାର କେତେକ ସମସ୍ୟା ଶିକ୍ଷାର କେତେକ ବ୍ୟଥା ଆସିଛି ମୁଁ ଆସିଛି (ଅନନ୍ତ ପଟ୍ଟନାୟକଙ୍କ ଜୀବନୀ) ଶିକ୍ଷାର ସ୍ଥିତି ଓ ଦୁଃସ୍ଥିତି ଶିକ୍ଷାର ଅଧିକାର ଦୁନିଆଁର ଚଲାପଥରୁ ସାଉଁଟା ମଣିମାଣିକ୍ୟ (ଆତ୍ମଜୀବନୀ) ହିରୋସୀମା ନାଗାସାକୀ ଆଉ ନୁହେଁ ଆଉ ନୁହେଁ ଶିକ୍ଷା ବଞ୍ଚାଅ : ଓଡ଼ିଶା ବଞ୍ଚାଅ (୩ଖଣ୍ଡ) ସତ କହି ପଛେ ମଲେ ମରିବି ଶିକ୍ଷା ବ୍ୟବସ୍ଥା ଠିକ୍ ଚାଲିଛି ତ !
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ପ୍ରଥମ ପୁରୁଷ ୧୯୭୧ ମସିହାରେ ପ୍ରକାଶିତ ହୋଇଥିବା ଜଗନ୍ନାଥ ପ୍ରସାଦ ଦାସଙ୍କ ଏକ ଓଡ଼ିଆ କବିତା ସଂକଳନ । ଏହି ବହିଟି ଅନନ୍ତ ମହାପାତ୍ରଙ୍କଦ୍ୱାରା ପ୍ରକାଶିତ ହୋଇଥିଲା ଏବଂ ଜଣାଶୁଣା କଥାଚିତ୍ର ନିର୍ମାତା ସତ୍ୟଜିତ ରାୟ ଏହାର ମଲାଟ ଛବି ଆଙ୍କିଥିଲେ । ପ୍ରକାଶନ ବେଳେ ଏହାର ମୂଲ୍ୟ ଥିଲା ୪ ଟଙ୍କା । ଓଡ଼ିଆରେ ପ୍ରକାଶ ପାଇବା ପରେ ଏହା ହିନ୍ଦୀ, ଇଂରାଜୀ, ଉର୍ଦ୍ଦୁ ଓ ବଙ୍ଗଳା ଭାଷାରେ ଅନୁବାଦ ହୋଇ ପ୍ରକାଶିତ ହୋଇଛି । ଏହି ବହିଟିର ୨ୟ ସଂସ୍କରଣ ୧୯୮୧ ମସିହାରେ ଓ ୩ୟ ସଂସ୍କରଣ ୨୦୧୪ ମସିହାରେ ପ୍ରକାଶିତ ହୋଇଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଦକ୍ଷ ପ୍ରଜାପତି ମନ୍ଦିର ହେଉଛି ଓଡ଼ିଶାର ପ୍ରାଚୀନ ମନ୍ଦିରମାନଙ୍କ ମଧ୍ୟରେ ଅନ୍ୟତମ । ଏହି ମନ୍ଦିରଟି ପ୍ରାଚୀନ ଉତ୍କଳୀୟ କାରୁକାର୍ଯ୍ୟ ନିମନ୍ତେ ପ୍ରସିଦ୍ଧ । ଏହି ମନ୍ଦିରଟି ବାଣପୁର-ବାଲୁଗାଁ ମୁଖ୍ୟ ରାସ୍ତାର ଡାହାଣ ପାର୍ଶ୍ୱରେ ୧୬ ନଂ ଜାତୀୟ ରାଜପଥଠାରୁ ପ୍ରାୟ ୫ କିମି ଦୂରରେ ଅବସ୍ଥିତ । ଏହି ମନ୍ଦିରଟି ମଧ୍ୟ ଭୁବନେଶ୍ବରଠାରୁ ପ୍ରାୟ ୧୦୪ କିମି ଦୂର । ପୁରାଣ ଅନୁସାରେ ଦକ୍ଷ ହେଉଛନ୍ତି ବ୍ରହ୍ମାଙ୍କ ପୁତ୍ର ଓ ସତୀଙ୍କର ପିତା । ଉକ୍ତ ମନ୍ଦିରରେ ଦକ୍ଷ ପ୍ରଜାପତି ଶିବଙ୍କ ରୂପରେ 'ଦକ୍ଷେଶ୍ୱର' ନାମରେ ପୂଜା ପାଆନ୍ତି । ଏଣୁ ଏହି ମନ୍ଦିରକୁ 'ଦକ୍ଷେଶ୍ୱର ଶିବ ମନ୍ଦିର' ବୋଲି ମଧ୍ୟ କୁହାଯାଏ ।
ସୂର୍ଯ୍ୟବଂଶୀ ସୂରଜ (ଜନ୍ମ: ୧୮ ମଇ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୨ ମସିହାରେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
"ଦେଶ କାଳ ପାତ୍ର" ହେଉଛି ଜଗନ୍ନାଥ ପ୍ରସାଦ ଦାସଙ୍କଦ୍ୱାରା ଲିଖିତ ଏକ ଓଡ଼ିଆ ଐତିହାସିକ ପୁସ୍ତକ । ଏହା ମୁଖ୍ୟତଃ ଊନବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ ଓଡ଼ିଶାରେ ଘଟିଯାଇଥିବା ପ୍ରଧାନ ପ୍ରଧାନ ଘଟଣାବଳୀ ଉପରେ ଆଧାରିତ ଏବଂ ଉପନ୍ୟାସ ଶୈଳୀରେ ଲିଖିତ ଅଟେ । ଏହାର ପ୍ରକାଶକ ହେଉଛନ୍ତି କଟକର ଫ୍ରେଣ୍ଡ୍ସ ପବ୍ଲିଶର୍ସ । ଏହାର ପ୍ରଥମ ସଂସ୍କରଣ ୧୯୯୨ ମସିହାରେ ପ୍ରକାଶ ପାଇଥିଲା ଓ ୨୦୧୪ ମସିହାରେ ପଞ୍ଚମ ସଂସ୍କରଣରେ ପହଞ୍ଚିଥିଲା |
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ପିତ୍ତକୋଷ ଏକ ପୋଲା ଅଙ୍ଗ ଯେଉଁଥିରେ ପିତ୍ତ ଜମାହୋଇ ରହି ଗାଢ଼ ହେବା ପରେ ଯୁଦ୍ରାନ୍ତ୍ରକୁ ଯାଏ । ମାନବ ଦେହରେ ଏହି ନାସପାତି ଆକାରର ଅଙ୍ଗଟି ଯକୃତ ତଳେ ଥାଏ । ଯକୃତଦ୍ୱାରା ପ୍ରସ୍ତୁତ ହୋଇଥିବା ପିତ୍ତ ଏହା କମନ ହେପାଟିକ ଡକ୍ଟ ମାଧ୍ୟମରେ ଗ୍ରହଣ କରି ଜମା କରି ରଖିବା ପରେ କମନ ବାଇଲ ଡକ୍ଟ ଭିତର ଦେଇ ଡୁଓଡେନମକୁ ଛାଡ଼େ ଯେଉଁଠାରେ ଚର୍ବି (fat) ହଜମ କରିବାରେ ଏହ ସାହାଯ୍ୟ କରେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ନରେନ୍ଦ୍ର ଦାମୋଦର ଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ୨୦୧୪ ମସିହାରୁ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ମୋଦୀ ୨୦୦୧ରୁ ୨୦୧୪ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ବାରଣାସୀର ସାଂସଦ ଥିଲେ । ସେ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ଦକ୍ଷିଣପନ୍ଥୀ ହିନ୍ଦୁ ଜାତୀୟତାବାଦୀ ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସଦସ୍ୟ । ସେ ଭାରତୀୟ ଜାତୀୟ କଂଗ୍ରେସ ବାହାରେ ସର୍ବାଧିକ କାଳ ଧରି ଥିବା ପ୍ରଧାନମନ୍ତ୍ରୀ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତ୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ସରସ୍ୱତୀ ସମ୍ମାନ, ଭାରତୀୟ ଭାଷାରେ ଉତ୍କୃଷ୍ଟ ସାହିତ୍ୟ ରଚନା ପାଇଁ ଦିଆଯାଉଥିବା ଏକ ବାର୍ଷିକ ପୁରସ୍କାର ଅଟେ । ଏହି ପୁରସ୍କାର ଭାରତୀୟ ସମ୍ବିଧାନର ସିଡୁଲ-୮ରେ ତାଲିକାଭୁକ୍ତ ଯେକୌଣସି ଭାଷା ପାଇଁ ଦିଆଯାଇଥାଏ । ଏହା ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନମାନଙ୍କ ଭିତରେ ଅନ୍ୟତମ । ଏହି ପୁରସ୍କାର ପାଇଁ ୭.୫ ଲକ୍ଷ ଟଙ୍କା, ପ୍ରଶସ୍ତି ପତ୍ର ଓ ଏକ ଫଳକ ପ୍ରଦାନ କରାଯାଏ । ଏହା କେ.କେ.
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ୱରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ୱାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ୱ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।