ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
"ଜନତା କର୍ଫ୍ୟୁ" ହେଉଛି ଜନସାଧାରଣଙ୍କଦ୍ୱାରା ନିଜ ପ୍ରତି ଜାରି କରାଯାଇଥିବା ଏକ ନିଷେଧାଦେଶ ବା କର୍ଫ୍ୟୁ । ଏହି ଶବ୍ଦଟି ପ୍ରଥମେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ୧୯ ମାର୍ଚ୍ଚ ୨୦୨୦ ଗୁରୁବାର ଦିନ ରାତି ୮ଟା ସମୟରେ କରୋନାଭୂତାଣୁ ରୋଗ ୨୦୧୯ ନାମକ ବିଶ୍ୱ ମହାମାରୀ ସମୟରେ ଭାରତର ଜନସାଧାରଣଙ୍କୁ ଦେଇଥିବା ଭାଷଣରେ ବ୍ୟବହାର କରାଯାଇଥିଲା । ସେ ତାଙ୍କ ଅଭିଭାଷଣରେ ୨୨ ମାର୍ଚ୍ଚ ରବିବାର ଦିନ ସକାଳ ୭ ଟାରୁ ୯ ଟା ପର୍ଯ୍ୟନ୍ତ ସାଧାରଣ କର୍ଫ୍ୟୁ ପାଳନ କରିବାକୁ ଭାରତବାସୀଙ୍କୁ ଅନୁରୋଧ କରିଛନ୍ତି । ସେ ଜନତା କର୍ଫ୍ୟୁକୁ “ଜନସାଧାରଣଙ୍କ ପାଇଁ, ଜନସାଧାରଣଙ୍କଦ୍ୱାରା ଲାଗୁ ହୋଇଥିବା କର୍ଫ୍ୟୁ” ବୋଲି ପରିଭାଷିତ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସୋନାଲ ସିଂହ ଚୌହାନ (ଜନ୍ମ: ୧୬ ମଇ ୧୯୮୭) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ସେ ମୁଖ୍ୟତଃ ହିନ୍ଦୀ ଏବଂ ତେଲୁଗୁ କଥାଚିତ୍ରରେ ଅଭିନୟ କରନ୍ତି । ସେ ଚଳଚ୍ଚିତ୍ରରେ ଅଭିନୟ କରିବା ପୂର୍ବରୁ କିଛି ସୁନ୍ଦରତା ପ୍ରତିଯୋଗୀତାରେ ଭାଗନେଇଥିଲେ । ସେ ୨୦୦୮ରେ ଜନ୍ନତ ଚଳଚ୍ଚିତ୍ର ଜରିଆରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସୋନାଲ ହିନ୍ଦୀ ସହ ତେଲୁଗୁ, ତାମିଲ ଏବଂ କନ୍ନଡ଼ କଥାଚିତ୍ର ଜଗତରେ ଅଭିନୟ କରିଛନ୍ତି ।
୨୦୦୯ ଓଡ଼ିଶା ବିଧାନ ସଭା ନିର୍ବାଚନ
୨୦୦୯ ଓଡ଼ିଶା ବିଧାନ ସଭା ନିର୍ବାଚନ ୨୦୦୯ ମସିହାର ଅପ୍ରେଲ ମାସରେ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା। ଏହି ନିର୍ବାଚନ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନ (ଲୋକ ସଭା ନିର୍ବାଚନ) ସହିତ ସମସାମୟିକ ଭାବେ ହୋଇଥିଲା। ନିର୍ବାଚନ ଫଳାଫଳ ୧୬ ମଇରେ ଘୋଷଣା କରାଯାଇଥିଲା। ଭାରତୀୟ ଜନତା ପାର୍ଟି (BJP) ସହିତ ଦୀର୍ଘ ୧୧ ବର୍ଷର ମେଣ୍ଟ ଭାଙ୍ଗିବା ପରେ ମଧ୍ୟ, ବିଜୁ ଜନତା ଦଳ (BJD) ରାଜ୍ୟରେ ଏକ ବିପୁଳ ସଂଖ୍ୟାଗରିଷ୍ଠତା ହାସଲ କରି କ୍ଷମତା ବଜାୟ ରଖିଥିଲା।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଭାରତୀୟ ରାଜ୍ୟ ଓଡ଼ିଶାକୁ ରାଜନୈତିକ ପ୍ରଶାସନ ଏବଂ ଗଣତାନ୍ତ୍ରିକ ପ୍ରତିନିଧିତ୍ୱ ପାଇଁ ୧୪୭ଟି ଭୌଗୋଳିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ବିଭକ୍ତ କରାଯାଇଛି। ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରୁ ଜଣେ ଲେଖାଏଁ ବିଧାୟକ ପ୍ରତ୍ୟକ୍ଷ ଭୋଟଦାନ ପ୍ରଣାଳୀ ମାଧ୍ୟମରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥାଆନ୍ତି।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଅଳକା ଲାମ୍ବା(ଜନ୍ମ ୨୧ ସେପ୍ଟେମ୍ବର ୧୯୭୫) ଆମ୍ ଆଦମି ପାର୍ଟିର (ଆପ୍) ଜଣେ ଭାରତୀୟ ରାଜନୀତିଜ୍ଞ ଅଟନ୍ତି । ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଛାତ୍ର ସଂଘର ପୂର୍ବ ସଭାପତି, ଛାତ୍ର ସଂଘର ପୂର୍ବ ରାଷ୍ଟ୍ରଅଧ୍ୟକ୍ଷ, ଦିଲ୍ଲୀ ପ୍ରଦେଶ କଂଗ୍ରେସର ପୂର୍ବ ମହାସଚିବ ଏବଂ ଅଖିଳ ଭାରତୀୟ କଂଗ୍ରେସ କମିଟିର ପୂର୍ବ ସଚିବ ଅଟନ୍ତି । ଲାମ୍ବା ଏକ ଅଲଗା ସରକାରୀ ସଂଗଠନ "ଗୋ ଇଣ୍ଡିଆ ଫାଉଣ୍ଡେସନ"ର ମଧ୍ୟ ଅଧ୍ୟକ୍ଷ ଥିଲେ । ୨୦ ବର୍ଷ କଂଗ୍ରେସରେ ରହିବା ପରେ ସେ ୨୩ ଡିସେମ୍ବର ୨୦୧୩ରେ ଆମ ଆଦମି ପାର୍ଟିରେ ପ୍ରବେଶ କଲେ। ଫେବୃଆରୀ ୨୦୧୫ରେ ସେ ଚାନ୍ଦନି ଚୌକରୁ ଦିଲ୍ଲୀ ବିଧାନ ସଭା ପାଇଁ ନିର୍ବାଚିତ ହେଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଗଜପତି ଜିଲ୍ଲା ହେଉଛି ଭାରତର ଓଡ଼ିଶା ରାଜ୍ୟର ଦକ୍ଷିଣାଞ୍ଚଳରେ ଅବସ୍ଥିତ ଏକ ପ୍ରଶାସନିକ ଜିଲ୍ଲା। ୧୯୯୨ ମସିହା ଅକ୍ଟୋବର ୨ ତାରିଖରେ ଏହାକୁ ପୂର୍ବତନ ଗଞ୍ଜାମ ଜିଲ୍ଲାରୁ ଅଲଗା କରି ଏକ ସ୍ୱତନ୍ତ୍ର ଜିଲ୍ଲାର ମାନ୍ୟତା ଦିଆଯାଇଥିଲା। ୨୦୧୧ ଜନଗଣନା ଅନୁଯାୟୀ, ଓଡ଼ିଶାର ୩୦ଟି ଜିଲ୍ଲା ମଧ୍ୟରେ ଏହା ଦେବଗଡ଼ ଏବଂ ବୌଦ୍ଧ ପରେ ତୃତୀୟ ସର୍ବନିମ୍ନ ଜନସଂଖ୍ୟା ବିଶିଷ୍ଟ ଜିଲ୍ଲା ଅଟେ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ମହେଶ ବାବୁ (ଜନ୍ମ ୯ ଅଗଷ୍ଟ ୧୯୭୫) ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତା । ସେ ମୁଖ୍ୟତଃ ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ମହେଶ ବାବୁ ଏଣ୍ଟରଟେନମେଣ୍ଟ ପ୍ରାଇଭେଟ ଲିମିଟେଡ ନାମକ ପ୍ରଯୋଜନା ସଂସ୍ଥା ମଧ୍ୟ ତାଙ୍କର ଅଛି । ମହେଶ ବାବୁ ୧୯୭୫ ମସିହା ଅଗଷ୍ଟ ୯ ତାରିଖରେ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ । ମହେଶ ବାବୁ ତେଲୁଗୁ ଚଳଚ୍ଚିତ୍ର ଅଭିନେତା କୀଷ୍ଣାଙ୍କର ସାନ ପୁଅ । ମାତ୍ର ଚାରିବର୍ଷ ବୟସ ହୋଇଥିବା ବେଳେ ୧୯୭୯ ମସିହାରେ ନୀଦା ଚଳଚ୍ଚିତ୍ର ମାଧ୍ୟମରେ ଶିଶୁ କଳାକାର ଭାବେ ମହେଶ ଅଭିନୟ ଆରମ୍ଭ କରିଥିଲେ । ମହେଶ ଶିଶୁ କଳାକାର ଭାବରେ ୮ଟି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଏହା ପରେ ୧୯୯୯ ମସିହାରେ ରାଜକୁମାରୁଡ଼ୁ ଚଳଚ୍ଚିତ୍ର ମାଧ୍ୟମରେ ଚଳଚ୍ଚିତ୍ର ଦୁନିଆରେ ନାୟକ ସାଜିଥିଲେ ଏବଂ ରାଜ୍ୟସ୍ତରୀୟ ନନ୍ଦୀ ପୁରସ୍କାର ପାଇଥିଲେ ।
ମୋହନ ଚରଣ ମାଝୀ ମନ୍ତ୍ରୀମଣ୍ଡଳ ହେଉଛି ୨୦୨୪ ଓଡ଼ିଶା ବିଧାନସଭା ନିର୍ବାଚନ ପରେ ଗଢ଼ାଯାଇଥିବା ଓଡ଼ିଶା ସରକାରର ୩୧ତମ ମନ୍ତ୍ରୀମଣ୍ଡଳ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତ୍ରୀମଣ୍ଡଳର ସୂଚୀ । ୧୧ ଜୁନ ୨୦୨୪ରେ ମୋହନ ଚରଣ ମାଝୀ ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ । ମଇ ଏବଂ ଜୁନ ମାସରେ ଚାରୋଟି ପର୍ଯ୍ୟାୟରେ ଅନୁଷ୍ଠିତ ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟି ୧୪୭ଟି ଆସନ ମଧ୍ୟରୁ ୭୮ଟି ଆସନ ହାସଲ କରି ସରକାର ଗଠନ କରିଥିଲା । ଜୁନ ୪ ତାରିଖରେ ଏହି ନିର୍ବାଚନର ଫଳାଫଳ ଘୋଷଣା ହୋଇଥିଲା, ଯାହାର ଆଧାରରେ ୧୭ଶ ଓଡ଼ିଶା ବିଧାନ ସଭା ଗଠନ ହୋଇଥିଲା । ଏହି ସରକାରଙ୍କୁ ୩ ଜଣ ସ୍ୱାଧୀନ ବିଧାୟକ ମଧ୍ୟ ସମର୍ଥନ ପ୍ରଦାନ କରିଛନ୍ତି ।
ପାକସ୍ଥଳୀ ଏକ ମାଂସପେଶୀ ତିଆରି ଫମ୍ପ ଅଙ୍ଗ ଯାହା ମାନବର ପ୍ୟାକ-ଅନ୍ତନଳୀର ଉପର ଭାଗରେ ଅବସ୍ଥିତ ଓ ଅନ୍ୟ ପ୍ରାଣୀମାନଙ୍କ ଦେହରେ ମଧ୍ୟ ଅବସ୍ଥିତ । ପୁରାତନ ଗ୍ରୀକ ଭାଷାରେ ପାକସ୍ଥଳୀର ନାମ ଗାଷ୍ଟର ଥିଲା ଯାହାକୁ ଇଂରାଜୀ ଭାଷାରେ ଗାଷ୍ଟ୍ରିକରୁ ଷ୍ଟୋମାକ କୁହାଯାଏ । ଏହା ଏକ ଦେହରେ ଥିବା ହଜମକାରୀ ଏକ ଗୁରୁତ୍ତ୍ଵପୂର୍ଣ୍ଣ ଅଙ୍ଗ ପ୍ରଣାଳୀ ଭାବରେ କାମ କରେ । ଏହା ହଜମକାରୀ ପ୍ରଣାଳୀରେ ପାଟିରେ ଖାଦ୍ୟ ଦେଖିଲେ ଓ ଚୋବେଇଲେ ଏହା କାମ କରିବାକୁ ଆରମ୍ଭ କରେ । ହଜମକାରୀ ପାଚକ ଏନଯାଇମ ଓ ପାକଅମ୍ଳ ଏହି ପାକସ୍ଥାଳୀରୁ କ୍ଷରିତ ହୁଏ । ଏହା ପାକସ୍ଥାଳୀରେ ଖାଦ୍ୟ ହଜମ କରି ସ୍ୱାସ୍ଥ୍ୟ ନିୟନ୍ତ୍ରଣ କରେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ପଦମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ
ପଦମପୁର (କ୍ରମିକ ସଂଖ୍ୟା: ୧) ବରଗଡ଼ ଜିଲ୍ଲା ଅନ୍ତର୍ଗତ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଘୀୟ ରାଷ୍ଟ୍ର, ଯାହା ୨୮ଟି ରାଜ୍ୟ ଏବଂ ୮ଟି କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଗଠିତ। ମୋଟ ଉପରେ ଏହି ୩୬ଟି ଉପ-ଜାତୀୟ ପ୍ରଶାସନିକ ଏକକ ରହିଛି। ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପୁନଶ୍ଚ ଅନେକ ଜିଲ୍ଲାରେ ବିଭକ୍ତ କରାଯାଇଛି। ସମଗ୍ର ଭାରତରେ ସମୁଦାୟ ୭୮୪ଟି ଜିଲ୍ଲା ରହିଛି, ଯାହାର ଅଧୀନରେ ଆହୁରି ଅନେକ ପ୍ରଶାସନିକ ସ୍ତର ସ୍ଥିର କରାଯାଇଛି।
ପାରଳାଖେମୁଣ୍ଡି (ସଂକ୍ଷେପରେ ପାରଳା ନାମରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ଗଜପତି ଜିଲ୍ଲାର ମୁଖ୍ୟ ସଦର ମହକୁମା ଓ ଏକ ପ୍ରମୁଖ ସହର ଅଟେ । ୧୭ ଅଗଷ୍ଟ ୧୮୮୫ ମସିହାରେ ଗଠିତ ଏହି ପୌରପାଳିକା, ଓଡ଼ିଶାର ସର୍ବପୁରାତନ ପୌରପାଳିକାମାନଙ୍କ ମଧ୍ୟରୁ ଅନ୍ୟତମ । ୨୧.୪୦ ବର୍ଗ କିଲୋମିଟର ପରିବ୍ୟାପ୍ତ ଏହି ସହରର ଜନସଂଖ୍ୟା ୨୦୧୧ ଜନଗଣନା ଅନୁଯାୟୀ ୪୬,୨୭୨ ଅଟେ । ଓଡ଼ିଆ ଏଠାକାର ମୁଖ୍ୟ ତଥା ସରକାରୀ ଭାଷା ହୋଇଥିବା ବେଳେ ତେଲୁଗୁ ଏବଂ ସଉରା ଭାଷାର ମଧ୍ୟ ବହୁଳ ବ୍ୟବହାର ଦେଖିବାକୁ ମିଳେ ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ଯଶୋଧାରା ମିଶ୍ର (ଜନ୍ମ ୬ ଜାନୁଆରୀ ୧୯୫୧) ଓଡ଼ିଶାରେ ଜନ୍ମିତ ଜଣେ ଇଂରାଜୀ ପ୍ରଫେସର, ଔପନ୍ୟାସିକ, କ୍ଷୁଦ୍ରଗଳ୍ପ ଲେଖକ, କବି, ଗାଳ୍ପିକ ଏବଂ ଅନୁବାଦକ । ସେ ଓଡ଼ିଆ ବ୍ୟତୀତ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ମଧ୍ୟ ଲେଖିଥାନ୍ତି । ତାଙ୍କ ଗଳ୍ପ ଗୁଡ଼ିକ ଅନ୍ୟ ଭାରତୀୟ ଭାଷାରେ ଅନୁବାଦ କରାଯାଇ ପତ୍ରିକା ଗୁଡ଼ିକରେ ପ୍ରକାଶିତ ହୋଇଛି । ତାଙ୍କର ଲେଖାଗୁଡ଼ିକ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମରେ ଦେଖିବାକୁ ମିଳେ । ୨୦୦୭ରେ ତାଙ୍କର ଗଳ୍ପ 'ବର' ଦୂରଦର୍ଶନଦ୍ୱାରା ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ବଛା ହୋଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀର ମୁଖପାତ୍ର "ଦି ଇଣ୍ଡିଆନ ଲିଟରେଚର"ର ସମ୍ପାଦକ ଭାବରେ ସେ କାର୍ଯ୍ୟ କରିଥିଲେ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।